29
ଦାଉଦଙ୍କର ଗୀତ। 
1 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। 
ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର। 
2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର। 
ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର। 
3 ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି। 
ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି। 
4 ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ। 
ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ। 
5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ। 
ସଦାପ୍ରଭୁ ଲିବାନୋନ୍ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି। 
6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି। 
ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ। 
7 ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ। 
8 ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ। 
ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ। 
9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ। 
ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି, 
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି। 
10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ 
ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ। 
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ। 
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ। 
