47
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ। 
1 ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ। 
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। 
2 ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି। 
ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜା ଅଟନ୍ତି। 
3 ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାଯ୍ୟ କରନ୍ତି। 
ସେ ସେହି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି। 
4 ପରମେଶ୍ୱର ଆମ୍ଭମାନଙ୍କୁ ଦେଶ ଦେବା ପାଇଁ ମନୋନୀତ କରିଛନ୍ତି। 
ସେ ଯାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥିଲେ। 
5 ସଦାପ୍ରଭୁ ଯେତେବେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି, 
ସେତେବେଳେ ତୂରୀ ଓ ଜୟଜୟକାର ନାଦରେ ଗଗନ ପବନ ମୁଖରିତ ହୁଏ। 
6 ପରମେଶ୍ୱରଙ୍କ ଗୁଣ କୀର୍ତ୍ତନ କର। 
ତାଙ୍କର ପ୍ରଶଂସାରେ ଶତ ମୁଖର ହୋଇ ଉଠ। 
ଆମ୍ଭର ରାଜାଙ୍କୁ ପ୍ରଶଂସା କର। 
ତାଙ୍କର ମହିମା ଗାନ କର। 
7 ପରମେଶ୍ୱର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା। 
ତେଣୁ ତାଙ୍କର ମହିମା ଗାନ କର। 
8 ପରମେଶ୍ୱର ତାଙ୍କର ପବିତ୍ର ସିଂହାସନରେ ବସନ୍ତି। 
ପରମେଶ୍ୱର ସମସ୍ତ ରାଜ୍ୟମାନଙ୍କୁ ଶାସନ କରନ୍ତି। 
9 ସେହି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି 
ଓ ସେମାନେ ଅବ୍ରହାମର ପରମେଶ୍ୱରଙ୍କ ରାଜ୍ୟର ଲୋକମାନଙ୍କ ସହିତ ମିଶନ୍ତି। 
ସେହିସବୁ ନେତାମାନେ ପରମେଶ୍ୱରଙ୍କ ଆଶ୍ରିତ। 
ପରମେଶ୍ୱର ସେମାନଙ୍କ ଊର୍ଦ୍ଧ୍ୱରେ ଅଟନ୍ତି। 
